Cultural
ରଜ ପର୍ବ
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ ।
ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ପଣା ସଂକ୍ରାନ୍ତି
ପଣା ସଂକ୍ରାନ୍ତି (ମହାବିଷୁବ ସଂକ୍ରାନ୍ତି) ଓଡ଼ିଆ ନୂଆ ବର୍ଷ ଭାବରେ ପାଳନ କରାଯାଏ ।ଏହା ସାଧାରଣତଃ ଅପ୍ରେଲ ୧୪ (ବୈଶାଖ ୧) ତାରିଖରେ ପଡ଼େ । ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆରମ୍ଭ ହୋଇଥାଏ ।
ଦୋଳ(ହୋଲି)
ହୋଲି (ଆହୁରି ମଧ୍ୟ: ଦୋଳ ପୁନେଇଁ, ଦୋଳଯାତ) ଏକ ହିନ୍ଦୁ ପର୍ବ ଯାହା ବସନ୍ତ ଋତୁରେ ଫଗୁଣ (ଫାଲଗୁନ) ମାସରେ ପୂର୍ଣ୍ଣମୀ ତିଥିରେ ପାଳନ କରାଯାଇଥାଏ । ଦୋଳଯାତ (ବା ଦୋଳଯାତ୍ରା) ଶ୍ରୀକୃଷ୍ଣଙ୍କ ଗୋପଲୀଳାର ନିଦର୍ଶନ । ଏଥିରେ ରାଧା ଦାମୋଦରଙ୍କର ଗୋପ ଗୋପୀମାନଙ୍କ ସହିତ ରଙ୍ଗ ପିଚକାରୀ ଖେଳ ଶ୍ରୀମଦ ଭାଗବତ ବର୍ଣ୍ଣିତ ରାସଲୀଳାର ସ୍ମୃତି ବହନ କରିଥାଏ ।




